ସୁଭଦ୍ରା ଯୋଜନା ନେଇ କଡ଼ା ମନ୍ତବ୍ୟ ଦେଲେ ନବୀନ, ହୋଇପାରେ ଯୋଜନାରେ ପରିବର୍ତ୍ତନ…

Soa Ad
Spread the love

ଆଜି ଜାରି ହୋଇଥିବା ସୁଭଦ୍ରା ଯୋଜନାର ମାର୍ଗଦର୍ଶିକା ଉପରେ ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳ ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ବିଜେପି ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ନିର୍ବାଚନ ସମୟରେ କହିଥିଲେ ୫୦,୦୦୦ ଟଙ୍କା, ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି?

ଆମର ୪.୫ କୋଟି ଜନସଂଖ୍ୟାର ପ୍ରାୟ ୨.୨୫ କୋଟି ମହିଳା ଏଥିରେ ସାମିଲ ହେବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଏବେ ବିଜେପି ସରକାରଙ୍କ କହିବା ମୁତାବକ କେବଳ ମାତ୍ର ୭୦ ଲକ୍ଷ ମହିଳା ଏଥିରେ ସାମିଲ ହୋଇପାରିବେ।

ତାହେଲେ ବିଜେପି ସରକାରଙ୍କ ‘ପ୍ରତ୍ୟେକ’ ମହିଳାଙ୍କୁ ଏ ଯୋଜନାରେ ସାମିଲ କରିବା ଅର୍ଥ କ’ଣ ଏଇୟା? ମା’ମାନଙ୍କୁ ଏହା କ’ଣ ବିଜେପିର ଗ୍ୟାରେଣ୍ଟି? ନା ଏହା ଏକ ଧୂଆଁବାଣ?

ମା’ମାନେ ଅନେକ ଆଶା ରଖିଥିଲେ। ଟଙ୍କା ମିଳିଲେ କିଛି ଭଲ କାମରେ ଲଗାଇବେ ବା ବ୍ୟବସାୟ କରିବେ। ହେଲେ ଏବେ କହୁଛନ୍ତି ମା’ମାନଙ୍କୁ ୬ମାସରେ ମାତ୍ର ୫,୦୦୦ ଟଙ୍କାର ସହାୟତା; ଯାହା ମାସକୁ ମାତ୍ର ୮୦୦ ଟଙ୍କା ପଡ଼ୁଛି।ଏହା କେଉଁ କାମରେ ଲାଗିବ? ଏକ ସାଙ୍ଗରେ ୫୦,୦୦୦ ଟଙ୍କାର ପ୍ରୋତ୍ସାହନ ମିଳିଥିଲେ ମା’ମାନେ ଏହାକୁ କୌଣସି କାମରେ ଲଗାଇ ପାରିଥାନ୍ତେ। କିଛି ବ୍ୟବସାୟ କରି ସଶକ୍ତ ହୋଇ ସମାଜରେ ଆଗକୁ ବଢ଼ିଥାନ୍ତେ।

ସୁଭଦ୍ରା ବା କିଛି ଗ୍ୟାରେଣ୍ଟି ଯୋଜନାକୁ କାର୍ଯ୍ୟକ୍ଷମ କରିବାକୁ ବିଜେପି ସରକାର ଚଳିତ ବଜେଟରେ ୫୦,୦୦୦ କୋଟି ଟଙ୍କାର ଋଣ କରିଛନ୍ତି। ଏହା ଆମ ସମସ୍ତଙ୍କ ମୁଣ୍ଡରେ ଋଣ ବୋଝ। ଆମ ମା’ ଓ ଭଉଣୀମାନଙ୍କୁ ଏହାକୁ ସୁଧ ସହ ସୁଝିବାକୁ ପଡ଼ିବ। କାରଣ ଏହା ସରକାରୀ ଅର୍ଥ ନୁହେଁ, ଋଣ ହୋଇ ଆସିଥିବା ଟଙ୍କା। ଏଥିରେ କ’ଣ ନାରୀ ସଶକ୍ତିକରଣ ସମ୍ଭବ ହେବ? ଆମେ ଖାଲି ଯାହା ଋଣ କରି ପରବ ପାଳିବା ସାର ହେବ। ତେବେ ଏନେଇ ସରକାରୀ ଦଳ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପାରି ନାହିଁ।

ବର୍ତ୍ତମାନ ବିଧାନସଭା ଅଧିବେଶନ ଚାଲୁଥିବାରୁ ଏ ପ୍ରସଙ୍ଗରେ ଗୃହ ସରଗରମ ରହିପାରେ ଏବଂ ବିରୋଧୀ ଦଳ ବିଜେଡ଼ି ଓ କଂଗ୍ରେସ ଏହାକୁ ଜୋରଦାର ବିରୋଧ କରିବା ପାଇଁ ସଜବାଜ ହେଉଥିବା ସୂଚନା ମିଳିଛି।