୧୬ ଯାଏ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ: ବଜ୍ରପାତ ନେଇ ସତର୍କ ରୁହନ୍ତୁ

୧୬ ଯାଏ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ: ବଜ୍ରପାତ ନେଇ ସତର୍କ ରୁହନ୍ତୁ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ତେଲେଙ୍ଗାନା ଉପରେ ଦୁର୍ବଳ ହୋଇଛି। ଏଥିସହ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯିବ। ମାତ୍ର ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସକ୍ରିୟ ହୋଇଛି। ଫଳରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ଓ ବଜ୍ରପାତର ଆଶଙ୍କା କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ବୁଧବାର ଅପରାହ୍ଣରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ତାରଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧାରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼ ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ସେହିପରି ୧୬ ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବଲାଙ୍ଗିର, ନୂଆପଡା, ବୌଦ୍ଧ, କାଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Share this story